ଆଜି ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଦକ୍ଷିଣ ଓଡ଼ିଶାରେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ଏପରି ସମୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଗୁରୁବାର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୩୧ ତାରିଖ ସୁଦ୍ଧା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଅନ୍ତର୍ଜାତୀୟ ମଡେଲ ଓ ବିଶେଷଜ୍ଞମାନେ କହୁଥିବାବେଳେ ଏନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ। ୩୦ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣରେ କାଁ ଭାଁ ବର୍ଷା ସମ୍ଭାବନା ଅଛି। ୩୧ରେ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ଜାଗାରେ ଏବଂ ଉତ୍ତର ଉପକୂଳର କାଁ ଭାଁ ବର୍ଷା ହୋଇପାରେ। ନଭେମ୍ବର ୧ରୁ ବର୍ଷା ବଢ଼ିପାରେ। ୧ରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନ ଓ ଉତ୍ତରର ଅଳ୍ପ କିଛି ଜାଗାରେ ବର୍ଷା ସମ୍ଭାବନା ଅଛି। ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ହୋଇପାରେ। ପବନ ୩୦-୪୦ କିମି ରହିପାରେ।

୨ ତାରିଖରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତିର ଅନେକ ସ୍ଥାନ ପ୍ରବଳ ବର୍ଷା ହୋଇପାରେ। ଆଜି ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଭଦ୍ରକ, ବାଲେଶ୍ୱର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି।

ଅଧିକ ପଢନ୍ତୁ