ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି

ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବା ସହ ଖଳି ପ୍ରସାଦ ଲାଗି ମଧ୍ୟ ହେବ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି ହେବ । ଆଜି ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୁପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ । ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସମ୍ପନ୍ନ ହେବ । ଏଥିପୂର୍ବରୁ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ । ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ। ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହ ମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ। ଏହି ଖଳିକୁ ଶୁଦ୍ଧ ସୁଆର ମାନେ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି। ସେପଟେ ଜୋରସୋରରେ ଆଗେଇ ଚାଲିଛି ରଥ କାମ ।

ଅଧିକ ପଢନ୍ତୁ

Odisha Darpan Digital