ଓଡ଼ିଶାରେ ପଡ଼ିବନି ଲଘୁଚାପ ପ୍ରଭାବ କିନ୍ତୁ ୧୮ଜିଲାକୁ କାଳବୈଶାଖୀ ସତର୍କତା

ଦକ୍ଷିଣ-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ। ପରବର୍ତ୍ତୀ ସମୟରେ ଗତିପଥ ବଦଳାଇ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବା ସମ୍ଭାବନା ରହିଛି। ଲଘୁଚାପ ଓଡ଼ିଶା ଉପକୂଳରୁ ବହୁତ ଦୂର ସମୁଦ୍ର ଭିତରେ କେନ୍ଦ୍ରୀଭୂତ ହେବାରୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡିବ ନାହିଁ।ଏପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୧୨ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏସବୁ ଜିଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଧିକ ପଢନ୍ତୁ

kc ads