ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ‘ଲୋଗୋ’ ଉନ୍ମୋଚନ

ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ରାଜ୍ୟ ସରକାରଙ୍କ ମହତ୍ଵାକାଂକ୍ଷୀ ଯୋଜନା ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକାରିତାକୁ ଆଉ ଗୋଟିଏ ପାଦ ଆଗକୁ ନେଇ ଆଜି ଲୋକସେବା ଭବନ ଠାରେ ଏହି ଯୋଜନାର ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଲୋଗୋକୁ ଉନ୍ମୋଚନ କରି କହିଛନ୍ତି ଯେ, ପିଲାଙ୍କୁ ଆଧୁନିକ ଏବଂ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସହ ଶିକ୍ଷାକୁ ଆକର୍ଷଣୀୟ ଓ ପ୍ରଭାବଶାଳୀ କରିବା ପାଇଁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଏକ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ।ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ୨୨୦୦ ବିଦ୍ୟାଳୟକୁ ସୁଦୃଢ଼ କରିବା ପାଇଁ ପ୍ରାୟ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଆଗାମୀ ଚାରି ବର୍ଷ, ଅର୍ଥାତ୍ ୨୦୨୫-୨୬ ରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ଏହା ଖର୍ଚ୍ଚ କରାଯିବ । ଏହି ବିଦ୍ୟାଳୟଗୁଡ଼ିକ ଗ୍ରାମପଞ୍ଚାୟତର ଏପରି ଏକ ଗ୍ରାମରେ ସ୍ଥାପିତ କରାଯିବ ଯେଉଁଠାରେ ଅନୁନ୍ୟ ୫ ଏକର ଜମି ଉପଲବ୍ଧ ଥିବା ସହିତ ଯେଉଁଠାକୁ ଗମନାଗମନ ସୁବିଧା ଥିବ। ପଞ୍ଚାୟତର ମଧ୍ୟ ସ୍ଥଳରେ ଅନ୍ୟୁନ ୫ ଏକର ଜମି ଉପଲବ୍ଧ ଥିବା ସର୍ବବୃହତ ଗ୍ରାମକୁ ପ୍ରାଥମିକତା ଦିଆଯିବ ।ଗ୍ରାମାଞ୍ଚଳରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ ହୋଇଛି । ଗ୍ରାମାଞ୍ଚଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପରିକଳ୍ପନା । ପ୍ରାଥମିକ ଶ୍ରେଣୀଗୁଡ଼ିକ ଉଚ୍ଚ ବିଦ୍ୟାଳୟର ମୂଳଦୁଆ ସ୍ଥାପନ କରେ । ତେଣୁ ପ୍ରାଥମିକସ୍ତରରେ ପିଲାମାନଙ୍କୁ ପର୍ଯ୍ୟାପ୍ତ ପ୍ରସ୍ତୁତି ଏବଂ ଆବଶ୍ୟକୀୟ ଦକ୍ଷତା ପ୍ରଦାନ କରିବା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଥିଲେ ।

ଅଧିକ ପଢନ୍ତୁ

Odisha Darpan Digital