ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବ୍ରୁଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି 5-T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କାର୍ତ୍ତିକ ପାଣ୍ଡିଆନ୍।ଫେବୃଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜନତା ମଇଦାନ, ଭୁବନେଶ୍ବର ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଛି। ଅକ୍ଷର ଭୂମିକୁ ସମ୍ମିଳନୀର ପ୍ରଥମ ଦିନରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉକ୍ତ ସମ୍ମିଳନୀ ଅବସରରେ ସମସ୍ତ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଓଡ଼ିଆ ଭାଷା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ । ସମ୍ମିଳନୀରେ ଭାଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁଗୁଡ଼ିକୁ ନେଇ ୧୬ଟି ଓ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ସ୍ବତନ୍ତ୍ର ଅଧିବେଶନ ଆୟୋଜନ କରାଯିବ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋକୁ ଚୟନିତ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କର ପ୍ରମୁଖ ସ୍ଥାନ ଓ କାନ୍ଥରେ ଚିତ୍ରଣ କରାଯିବ । ଏହି ଲୋଗୋକୁ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରାଯିବା ସହିତ ସମସ୍ତ ସରକାରୀ ଗାଡ଼ିରେ ଷ୍ଟିକରିଂ କରାଯାଇ ସମ୍ମିଳନୀର ପ୍ରଚାର ପ୍ରସାର କରାଯିବ ।
ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ବିଷୟଭିତ୍ତିକ ସଙ୍ଗୀତ ପ୍ରସ୍ତୁତ କରାଯିବ । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ଵାରା ଏହି ସମ୍ମିଳନୀର ପ୍ରଚାର ପ୍ରସାର ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା, ଶିକ୍ଷା ଓ ଯୋଗାଯୋଗ ମାଧ୍ୟମରେ ଉଭୟ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ବ୍ଯବହାର କରାଯିବ । ଓଡ଼ିଶା ପରିବାର ତରଫରୁ ରାଜ୍ୟ ବାହାରେ ଓ ବିଦେଶରେ ରହୁଥିବା ଓଡ଼ିଆ ସଂଗଠନମାନଙ୍କୁ ଲାଇଭ ଓ୍ବେବକାଷ୍ଟ ଦ୍ବାରା ଯୋଡ଼ାଯାଇ ସମ୍ମିଳନୀର ଉଦଘାଟନ ଓ ଉଦଯାପନ ଉତ୍ସବରେ ବାସ୍ତବ ଓ ଆଭାସୀ ଉପସ୍ଥିତି ନିମନ୍ତେ ଉତ୍ସାହିତ କରାଯିବ । ସେମାନଙ୍କର ମତାମତର କ୍ୟାଟଲଗ ମଧ୍ୟ ପ୍ରସ୍ତୁତ କରାଯିବ । ସମ୍ମିଳନୀ ଉପଲକ୍ଷେ ସମ୍ମିଳନୀ ସମ୍ବନ୍ଧୀୟ ଆଲୋଚନା ଚକ୍ର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଗୁଡ଼ିକୁ ତଥ୍ୟପୁସ୍ତିକା ମାଧ୍ୟମରେ ପ୍ରକାଶ କରାଯିବ ।ଏହି ଅବସରରେ ସମ୍ମିଳନୀ ସ୍ଥଳ ଏବଂ ଭୁବନେଶ୍ୱର ମହାନଗରକୁ ଆଲୋକମାଳାରେ ସୁସଜ୍ଜିତ କରାଯିବ।