ରାଜ୍ୟରେ ଖୁବଶୀଘ୍ର ଖୋଲିବ ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଅଧୀନରେ ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ମୂଳପତ୍ର ଆଗାମୀ ସପ୍ତାହରେ ଓଡ଼ିଶାରେ ସ୍ଥାପନ କରାଯିବ, ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋନ୍ଦ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।ରାଜ୍ୟର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସତ୍ୟବାଦୀ ବନ ବିଦ୍ୟାଳୟରେ ଯେପରି ଏକ ଆଦର୍ଶ ଶିକ୍ଷା ପରିବେଶ ଥିଲା, ସେହିଭଳି ଏହି ବିଦ୍ୟାଳୟ ଗୁଡିକରେ ମଧ୍ୟ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିବ। ଏଥିରେ ବିଶେଷ କରି ପିଲାମାନଙ୍କର ଭାଷା ଜ୍ଞାନ ଓ ମୌଳିକ ଗାଣିତିକ ଜ୍ଞାନ ଉପରେ ଗୁରୁତ୍ୱ ଆରୋପ କରାଯିବ। ଏହା ଦ୍ୱାରା ପିଲାମାନେ ଉଚ୍ଚତର ଶ୍ରେଣୀରେ ସହଜରେ ଶିକ୍ଷା ଗ୍ରହଣ କରି ପାରିବେ। ଉନ୍ନତ ଭିତ୍ତିଭୂମି, ଗୁଣାତ୍ମକ ଶିକ୍ଷା ଓ ସାମଗ୍ରୀକ ବିକାଶ ଉପରେ ଗୁରୁତ୍ୱ ପ୍ରଦାନ କରାଯାଇ ପିଲାମାନଙ୍କର ମୌଳିକ ଜ୍ଞାନ ଓ ବୌଦ୍ଧିକ ବିକାଶକୁ ସୁଦୃଢ କରିବା ଦିଗରେ ପଦକ୍ଷେପ ନିଆଯିବ।ମୋହନ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ୨୦୨୫-୨୬ ବାର୍ଷିକ ବଜେଟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ୨,୯୬୦ କୋଟି ଟଙ୍କା ବରାଦ କରିଛନ୍ତି।

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ହେଉଛି ଓଡ଼ିଶା ସରକାରଙ୍କର ଏକ ଉଦ୍ୟମ, ଯାହା ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଏକ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ କରିବାକୁ ଲକ୍ଷ୍ୟ ରଖିଛି।

ଅଧିକ ପଢନ୍ତୁ

kc ads