ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ନୂଆପଡ଼ାରେ ଭାରି ବର୍ଷା ହୋଇପାରେ। ବିଶେଷକରି ଉତ୍ତରଓଡ଼ିଶାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏହି ସମୟରେ ପ୍ରବଳ ବର୍ଷା ହେତୁ ମହାନଦୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବ୍ରାହ୍ମଣୀ ଅବବାହିକାରେ ବର୍ଷା ସମ୍ଭାବନା ଥିବାରୁ ଏସବୁ ନଦୀରେ ବନ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଥିତି ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ରଖିବା ସହିତ ୨୪ ଘଣ୍ଟା ସତର୍କ ରହିବାକୁ ଜିଲ୍ଲା ପ୍ରଶାସନକୁ ଶ୍ରୀ ପୂଜାରୀ ନିର୍ଦ୍ଦେଶ ଦେଇଛନ୍ତି ।
