ଆଜିଠାରୁ ଶ୍ରୀମନ୍ଦିରରେ ମହାପଞ୍ଚୁକ ନୀତି ସହ ହରି ଉତ୍ଥାପନ ଏକାଦଶୀ। ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ଭିଡ଼ ଲାଗିଛି ଶ୍ରୀମନ୍ଦିରରେ। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଥିବା ବେଳେ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।ଜିଲ୍ଲା ପ୍ରଶାସନ ପକ୍ଷରୁ ମାର୍କେଟ ଛକ ଠାରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼ ଭିତରେ ଆସି ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରିବା ସହ ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି ।ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ନଜରରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ, ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସୁପରିଚାଳନା ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଜମିଛି। ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ସତ୍ୟଜିତ ନାୟକ।
