ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ଚାଷୀମାନେ ବହୁଳ ଭାବେ ଉପକୃତ ହେବେ । ବିଶେଷ କରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ଆସିବ ସୁଧାର । ଏହାସହ ମାଛ ଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ । ଏହି ପ୍ରକଳ୍ପ ସବୁ ଭୂତଳ ଜଳସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ ବୋଲି ପ୍ରକଳ୍ପର ଭିତ୍ତି ସ୍ଥାପନ କରି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଲୋକମାନଙ୍କର ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା । କେନ୍ଦ୍ରାପଡାରେ ୧୫ ହଜାରରୁ ଅଧିକ ଚାଷୀ ଉପସ୍ଥିତ ଥିଲେ ।
ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଥିଲେ ମହିଳା ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ ଭଉଣୀ-ଭାଇ ବହୁଳ ଭାବେ ଉପକୃତ ହେବେ। ବିଶେଷକରି ପିଇବା ପାଣି ଯୋଗାଣ କ୍ଷେତ୍ରରେ ସୁବିଧା ହେବ। ଏହା ସହିତ ମାଛଚାଷ, ପଶୁପାଳନ ଆଦିରେ ମଧ୍ୟ ସହାୟକ ହେବ। ଏହି ପ୍ରକଳ୍ପ ସବୁ ଭୂତଳ ଜଳସ୍ତର ବୃଦ୍ଧି କରି ପରିବେଶକୁ ସନ୍ତୁଳିତ କରିବ।ବର୍ତ୍ତମାନ ସୁଦ୍ଧା ୩ଟି ପର୍ଯ୍ୟାୟରେ ୭୨ଟି ପ୍ରକଳ୍ପ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି । ଆଜି ୧୩ଟି ଜିଲ୍ଲା- ବରଗଡ, ବଲାଙ୍ଗିର, ବୌଦ୍ଧ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ ଜିଲ୍ଲାରେ ୧୯ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖାଗଲା ।