ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବୁଧବାର(୨୮ ତାରିଖ) ଜଗତ୍ସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ୫ଟି ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ଆକଳନ କରାଯାଇଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହାର ମୁକାବିଲା ଲାଗି ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି। ଝଡ଼ବର୍ଷା ସମୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।
