କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ତାରିଖ ସକାଳେ ଅବପାତ ରୂପ ନେଇପାରେ। ଏହା ୨୩ ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଏବଂ ୨୪ ତାରିଖ ସକାଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ୨୪ ତାରିଖ ସକାଳୁ ୨୫ ତାରିଖ ସକାଳ ଭିତରେ ପୁରୀଠାରୁ ଉତ୍ତର ବାଲେଶ୍ୱର ମଧ୍ୟରେ ସ୍ଥଳଭାଗକୁ ପଶିବ । ଘଣ୍ଟା ପ୍ରତି ୧୨୦ କିମି ବେଗ ଯାଏ ପବନ ମାଡ଼ ହେବା ଆଶଙ୍କା ରହିଛି । ୨୩ ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ ଓଡ଼ିଶାରେ ନିର୍ଘାତ ଛେଚିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ୭୦ରୁ ୧୧୦ ମିମି ଯାଏ ବର୍ଷା ହୋଇପାରେ ।
୨୪ ତାରିଖରେ ରାଜ୍ୟରେ ଅତି ଭୀଷଣ ବର୍ଷା ହେବ । ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଜଗତସିଂହପୁରରେ ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ । ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, କଟକ, ନୟାଗଡ଼, କନ୍ଧମାଳ ଓ ଗଜପତି ଜିଲ୍ଲାରେ ୭୦-ରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବି ପ୍ରବଳ ବର୍ଷିବ ।