ମହାଙ୍ଗା ହେବ ଓମଫେଡ କ୍ଷୀର । ଦୁଗ୍ଧ ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ଷୀର ଲିଟର ପିଛା ୩ ଟଙ୍କା ଅଧିକ ପାଇବେ ଦୁଗ୍ଧ ଚାଷୀ । ଏଥି ସହିତ ଓମଫେଡ ଚାଷୀମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲିଟର ପିଛା ୪ ଟଙ୍କା ଦର ବଢିବାର ଥିଲା । ରାଜ୍ୟ ସରକାର ୨ ଟଙ୍କା ବହନ କରିବେ । ଆଉ ୨ ଟଙ୍କା ଖାଉଟିଙ୍କୁ ଦେବାକୁ ପଡିବ ।ଏହାଦ୍ବାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଓମଫେଡ୍ ବାଲ୍ଟି ଦହି, ଏ-୨ ମିଲ୍କ, ଏ-୨ ଘିଅର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ ଏହି ଅବସରରେ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଏଥିସହିତ, ସେ ୨୦୨୪-୨୫ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି ଓ ରାଜ୍ୟର ୭୭ ଗୋଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣୀ କଲ୍ୟାଣ ସଂଗଠନମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଛନ୍ତି।ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି । ପ୍ରତିବର୍ଷ ଜୁନ ୧ ତାରିଖକୁ ଗୋପାଳନ ଦିବସ ଭାବେ ପାଳନ କରାଯାଏ ।
