୧ ଅକ୍ଟୋବର ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ । ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି ।ଏପଟେ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇ ଉପକୂଳ ମୁହାଁ ହେଉଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବାରୁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି ।ସେହିପରି ଆସନ୍ତାକାଲି ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଉପକୂଳ ଓଡ଼ିଶାର ଗଂଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅଧିକ ପଢନ୍ତୁ