ଆଜି ଅଣସରର ଏକାଦଶ ଦିନ, ଦଶମୀ ତିଥି । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଛି । ଆଜି ଶ୍ରୀମନ୍ଦିରର ଅନବସର ଗୃହରେ ତିନୋଟି ମୁଗୁନି ପଥରର ଚକା ଅଣସର ପିଣ୍ଡିରେ ରଖାଯାଇ ବିଗ୍ରହଙ୍କୁ ଚକା ଉପରେ ବିଜେ କରାଯାଏ । ବିଶ୍ରାମାବସ୍ଥାରୁ ଚକା ଉପରେ ବିଜେ ହେବା ସ୍ଥିତି ଫଳରେ ମହାପ୍ରଭୁଙ୍କର ସୁସ୍ଥତାର ପରିଚୟ ମିଳିବ । ଚକା ବିଜେ ହେବା ପରେ ଶ୍ରୀମନ୍ଦିରକୁ ଏହି ଦଶମୂଳ (ମୋଦକ) ବିଜେ କରାଯିବ। ପ୍ରଭୁଙ୍କ କବିରାଜମାନେ ଏହି ଔଷଧକୁ ଦୀର୍ଘଦିନ ଶୁଦ୍ଧପୂତ ଭାବରେ ପ୍ରସ୍ତୁତ କରିଥିଲେ। ଆୟୁର୍ବେଦ ପଦ୍ଧତି ଏବଂ ଶାସ୍ତ୍ରାନୁସରଣରେ ଏହି ମହୌଷଧୀ ପ୍ରସ୍ତୁତ କରାଯାଇଥିଲା। ଏକାଦଶୀ ତିଥି ଅର୍ଥାତ୍ ଆସନ୍ତାକାଲି ଅସୁସ୍ଥ ଶ୍ରୀବିଗ୍ରହମାନଙ୍କୁ ଦଶମୂଳ ମୋଦକ ଲାଗି କରିବାର ବିଧି ରହିଛି।ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ । ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ । ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ ଆଦି ପକାଯାଇ ଏହାକୁ ପାଗ କରାଯାଏ । ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ । ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ । ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥାଏ । ଜଟିବୁଟିରେ ପ୍ରସ୍ତୁତ ମୋଦକ (ଔଷଧ)ରେ ଅଣସର ପିଣ୍ଡିରେ ଠାକୁରଙ୍କ ଉପଚାର କରାଯିବ। ଏକାଦଶୀ ଦିନ ମୋଦକ ଲାଗି ହେବା ସହ ପ୍ରଥମ କରି ଅଣସରରେ ଥିବା ମହାପ୍ରଭୁଙ୍କୁ ତୁଳସୀ ଲାଗି କରାଯିବ। ମହାପ୍ରଭୁଙ୍କୁ ଚନ୍ଦନ ଲାଗି ସହିତ ନୂଆ ଖଣ୍ଡୁଆ ମଧ୍ୟ ଲାଗି କରାଯିବ। ଏଥିପୂର୍ବରୁ ଠାକୁରମାନଙ୍କୁ ଫୁଲରି ତେଲ ଲାଗି ହୋଇସାରିଛି। ଦଶମୂଳ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ।
