ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ଆଗାମୀ କିଛି ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ, ଏହି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଗାମୀ ୨ ଦିନ ପର୍ଯ୍ୟନ୍ତ ବେଶ୍ ସକ୍ରିୟ ରହିବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହିତ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଦେଇ ଧୀରେ ଧୀରେ ଆଗକୁ ବଢ଼ିବାର ସମ୍ଭାବନା ରହିଛି।ଲଘୁଚାପର ଗତିପଥକୁ ନଜରରେ ରଖି ଚାଷୀ ଏବଂ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ କୁହାଯାଇଛି। ବିଶେଷ କରି ମତ୍ସ୍ୟଜୀବୀମାନଙ୍କୁ ଆଗାମୀ ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।
